www.samajalive.in
Saturday, December 13, 2025
17.1 C
Bhubaneswar

ଶିକ୍ଷା ହେଉଛି ପରିବର୍ତ୍ତନର ଚାବିକାଠି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳରେ ୨୮କୋଟି ଟଙ୍କାରୁ ଊର୍ଦ୍ଧ୍ବ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏହି ଅବରସରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ହେଉଛନ୍ତି ଏ ଜାତିର, ଏ ଦେଶର ଭବିଷ୍ୟତ । ଶିକ୍ଷା ହେଉଛି ପରିବର୍ତ୍ତନର ଚାବିକାଠି। ଶିକ୍ଷା ହେଉଛି ପ୍ରକୃତ ସଶକ୍ତିକରଣ। ତେଣୁ ହିଞ୍ଜିଳିରେ ଶିକ୍ଷାର ବିକାଶ ଉପରେ ସେ ଗୁରୁତ୍ବ ଦେଇଆସିଛନ୍ତି ବୋଲି ପ୍ରକାଶ କରି ହିଞ୍ଜିଳିକୁ ଶିକ୍ଷା କ୍ଷେତ୍ରରେ ଏକ ଆଗୁଆ ଅଞ୍ଚଳ ଭାବେ ବିକଶିତ କରିବା ତାଙ୍କର ଲକ୍ଷ୍ୟ ବୋଲି ସେ କହିଥିଲେ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ କୋଭିଡ ମହାମାରୀ ଯୋଗୁ ସେ ବହୁତ ଦିନ ହେଲା ହିଞ୍ଜିଳି ଯାଇପାରି ନାହାନ୍ତି। ଏବେ ପରିସ୍ଥିତିରେ ଉନ୍ନତି ଆସିଥିବାରୁ ସେ ଖୁବ ଶୀଘ୍ର ହିଞ୍ଜିଳି ଗସ୍ତ କରି ଜନସାଧାରଣଙ୍କୁ ଭେଟିବେ। କୋଭିଡ ଯୁଦ୍ଧରେ ଗଞ୍ଜାମବାସୀଙ୍କ ଭୂମିକାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘କରୋନା ମହାମାରୀ ସହ ଆପଣମାନେ ଯେପରି ଲଢିଲେ, ଗଞ୍ଜାମ ଯେପରି ଲଢିଲା, ତାହା ସାରା ବିଶ୍ବ ଦେଖିଛି। ଆପଣମାନଙ୍କ ସହଯୋଗରେ ଆଜି କରୋନାକୁ ନିୟନ୍ତ୍ରଣ କରିବାରେ ଆମେ ସଫଳ ହୋଇଛୁ। ଏ ଦିଗରେ ଗଞ୍ଜାମର ସଫଳତା ସାରା ବିଶ୍ବର ପ୍ରଶଂସା ପାଇଥିଲା। ସେଥିପାଇଁ ମୁଁ ଆପଣମାନଙ୍କୁ ସମସ୍ତଙ୍କୁ, ଆମର ପଞ୍ଚାୟତ ପ୍ରତିନିଧି ମାନଙ୍କୁ, ମିଶନ ଶକ୍ତିର ମା’ ମାନଙ୍କୁ ଓ କୋଭିଡ ଯୋଦ୍ଧାମାନଙ୍କୁ ଧନ୍ୟବାଦ ଜଣାଉଛି। ଟିକାକରଣ ଆରମ୍ଭ ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ବିପଦ ପୁରା ଦୂର ହୋଇନାହିଁ। ତେଣୁ ଆମକୁ ସାବଧାନ ରହିବାକୁ ହେବ।


ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି କହିଥିଲେ ଯେ ହିଞ୍ଜିଳିର ଜନସାଧାରଣଙ୍କ ସୁଖଦୁଃଖ, ସବୁଥିରେ ସେ ସେମାନଙ୍କ ସହିତ ରହିଛନ୍ତି ଓ ରହିଥିବେ। ସାରା ଓଡିଶା ସହିତ ହିଞ୍ଜିଳି ନିର୍ବାଚନମଣ୍ଡଳୀ ଅଞ୍ଚଳର ବିକାଶ ଉପରେ ସେ ନଜର ରଖିଛନ୍ତି ବୋଲି କହିଥିଲେ। ହିଞ୍ଜିଳି ସହରର ବିକାଶ ପାଇଁ ୨୮କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଗଲା ବୋଲି ପ୍ରକାଶ କରି ସେ କହିଥିଲେ ଯେ ଆଧୁନିକ ସହର ମାନଙ୍କରେ ମିଳୁଥିବା ବିଭିନ୍ନ ସୁବିଧା ହିଞ୍ଜିଳିବାସୀ ଯେପରି ପାଇପାରିବେ, ସେଥିପାଇଁ ସେ ଉଦ୍ୟମ ଜାରି ରଖିଛନ୍ତି। ରାଜ୍ୟର ଛୋଟ ଛୋଟ ସହରର ବିକାଶ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ସେ ପ୍ରକାଶ କରିଥିଲେ।
ଏହି ଅବସରରେ ହିଞ୍ଜିଳିର ନୂତନ ପ୍ରକଳ୍ପ ଗୁଡିକ ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ। ଏହି କାର୍ୟ୍ୟକ୍ରମରେ ଆସ୍କା ସାଂସଦ ଶ୍ରୀମତୀ ପ୍ରମିଳା ବିଷୋଇ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି. ମାଥିଭାତନନ୍, ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଅନ୍ୟ ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories