www.samajalive.in
Monday, December 8, 2025
27.1 C
Bhubaneswar

‘ସମଲେଈ’ ଯୋଜନାରେ ୨୦୦ କୋଟି

ଭୁବନେଶ୍ବର: ପଶ୍ଚିମ ଓଡ଼ିଶାର ଐତିହ୍ୟ ବିକାଶ ଲାଗି ଷୋଡଶ ଶତାବ୍ଦୀରେ ନିର୍ମିତ ମା’ ସମଲେଶ୍ବରୀଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାର ସମଲେଶ୍ବରୀ ମନ୍ଦିର ଅଞ୍ଚଳ ପରିଚାଳନା ଏବଂ ସ୍ଥାନୀୟ ଅର୍ଥନୀତି ପଦକ୍ଷେପ (ସମଲେଇ) ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏଥିପାଇଁ ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ସମଲେଶ୍ବରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିରେ ବିକାଶ କରାଯିବ। ଏହି ଯୋଜନାରେ ମା’ଙ୍କ ମନ୍ଦିରର ସୌନ୍ଦର୍ୟ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ୟ୍ୟଟକ ଓ ଭକ୍ତମାନଙ୍କ ସୁବିଧା ସୁଯୋଗକୁ ଗୁରୁତ୍ବ ଦିଆଯାଇଛି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନ କରାଯାଇଥିଲା।

୧୨ ଏକର ଜମି ଉପରେ ପ୍ରତିଷ୍ଠିତ ଏହି ମନ୍ଦିରକୁ ଆସୁଥିବା ଭକ୍ତମାନେ ଯେଭଳି ସୁବିଧାରେ ମା’ଙ୍କର ଦର୍ଶନ କରିପାରିବେ, ସେଥିପାଇଁ ଧାଡି ପରିଚାଳନା ବ୍ୟବସ୍ଥା, ବିଭିନ୍ନ ଧାର୍ମିକ ଉତ୍ସବ ଅନୁଷ୍ଠାନ ପାଇଁ ସ୍ଥାନ ସହିତ ଭୋଗମଣ୍ଡପ ଓ ପୂଜାରୀଙ୍କ ପାଇଁ ବିଶ୍ରାମଗୃହ ନିର୍ମାଣ କରାଯିବ। ମନ୍ଦିରର ଚାରି ଦିଗରେ ୪ଟି ସୁଦୃଶ୍ୟ ଐତିହ୍ୟ ଦ୍ବାର ନିର୍ମାଣ କରାଯିବ। ଭକ୍ତମାନେ ପୂର୍ବ ଦ୍ବାର ଦେଇ ମନ୍ଦିରକୁ ପ୍ରବେଶ କରିବେ ଏବଂ ଅନ୍ୟ ୩ଟି ଦ୍ବାର ଦେଇ ବାହାରକୁ ବାହାରିବେ। ମନ୍ଦିରର ମୁଖ୍ୟ ପ୍ରବେଶ ଦ୍ବାର ପାଖରେ ମନ୍ଦିର କାର୍ୟ୍ୟାଳୟ, ବ୍ୟାଖ୍ୟାନ କେନ୍ଦ୍ର ଏବଂ ଜନସାଧାରଣଙ୍କ ପାଇଁ ଜରୁରୀ ସୁବିଧାର ବିକାଶ କରାଯିବ। ମନ୍ଦିର ନିକଟରେ ଅବସ୍ଥିତ ଗୋପାଳଜୀଉ ମଠର ସଂରକ୍ଷଣ କରାଯିବ ଏବଂ ଏହାର ବିକାଶକୁ ମୂଳ ଯୋଜନା ସହ ସମନ୍ବିତ କରାଯିବ। ମନ୍ଦିର ଚାରିପଟେ ଭକ୍ତମାନେ ଯେପରି ସୁବିଧାରେ ପରିକ୍ରମା କରିପାରିବେ, ସେଥିପାଇଁ ୧ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ପାଦଚଲା ରାସ୍ତା ନିର୍ମାଣ କରାଯିବ। ପାର୍କିଂ ଜାଗା, ସ୍ବତନ୍ତ୍ର ଭେଣ୍ଡିଂ ଜୋନ, ଶୌଚାଳୟ, ସୂଚନା କେନ୍ଦ୍ର, ଦାନ କେନ୍ଦ୍ର ଇତ୍ୟାଦି ବ୍ୟବସ୍ଥା ରଖାଯିବ। ତା’ସହିତ ମନ୍ଦିର ପାଖରେ ଯାତ୍ରୀନିବାସର ମଧ୍ୟ ସୁବିଧା ଉପଲବ୍ଧ ହେବ। ମନ୍ଦିର ନିକଟରେ ରହୁଥିବା ସେବାୟତମାନଙ୍କ ପାଇଁ ସୁରକ୍ଷିତ ବାସଗୃହ ପ୍ରକଳ୍ପ ହାତକୁ ନିଆଯିବ।

- Advertisement -

ଭକ୍ତମାନେ ମନ୍ଦିରରୁ ମହାନଦୀ ଘାଟକୁ ଯିବାଲାଗି ୩୦ ମିଟର ଚଉଡା ବିଶିଷ୍ଟ ପାଦଚଲା ରାସ୍ତା ଓ ରାସ୍ତାର ମଧ୍ୟ ଭାଗରେ ଏକ ୩୦ ମିଟର ବିଶିଷ୍ଟ ଡେକ୍‌ ନିର୍ମାଣ କରାଯିବ। ଏଠାରୁ ଉଭୟ ମହାନଦୀ ଓ ମା’ଙ୍କ ମନ୍ଦିର ସ୍ପଷ୍ଟ ଭାବରେ ଦେଖାଯିବ। ସେହିପରି ରିଙ୍ଗରୋଡକୁ ଚଉଡା କରାଯାଇ ନଦୀକୂଳେ ଚଲାପଥ ଓ ଅବସର ସୁବିଧା ରହିବ। ପର୍ୟ୍ୟଟକଙ୍କ ମହାନଦୀର ଦୃଶ୍ୟ ଅବଲୋକନ ପାଇଁ ପାଭିଲିୟନ, ପ୍ଲାଜା ଓ ଡେକ୍‌ ଆଦି ନିର୍ମାଣ କରାଯିବ। ଏହି ପ୍ରକଳ୍ପ ଅଧୀନରେ ୨୨ ଏକର ଜମିରେ ହ୍ରଦ କୂଳର ବିକାଶ କରାଯିବ। ଏଥିରେ ଆର୍ଦ୍ରଭୂମିର ବିକାଶ ସହିତ ୫ ଏମଏଲଡି ସ୍ବେରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ କରାଯିବ। ଆର୍ଦ୍ରଭୂମି ଅଞ୍ଚଳର ପୁନରୁଦ୍ଧାର ଓ ସୌନ୍ଦର୍ୟ୍ୟକରଣ କରାଯିବ। ଏହାସହିତ ଫୁଡପାର୍କ, ସ୍ଥାପତ୍ୟ ପାର୍କ ତଥା ମୁକ୍ତାକାଶ ରଙ୍ଗମଞ୍ଚର ବ୍ୟବସ୍ଥା ରହିବ। ସମ୍ବଲପୁରର ପ୍ରସିଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ସହିତ ବିଭିନ୍ନ ସ୍ମାରକୀ (ସୋଭେନିୟର) ସାମଗ୍ରୀର ବିକ୍ରି ପାଇଁ ଭେଣ୍ଡିଂ ବ୍ୟବସ୍ଥା କରାଯିବ।

ରେଳଷ୍ଟେସନରୁ ମନ୍ଦିରର ଉତ୍ତର ପାର୍ଶ୍ବକୁ ସଂଯୁକ୍ତ କରୁଥିବା ରାସ୍ତାକୁ ପ୍ରଶସ୍ତ କରାଯିବ। ଯାହାଫଳରେ ଟ୍ରାଫିକ ସମସ୍ୟା ଦୂର ହୋଇପାରିବ। ବର୍ତ୍ତମାନ ଥିବା ଶଶ୍ମାନକୁ ପୂର୍ବ ପଟକୁ ସ୍ଥାନାନ୍ତର କରାଯିବ ଏବଂ ଏଠାରେ ଆଧୁନିକ ସୁବିଧାର ବିକାଶ କରାଯିବ। ଏହି ଶଶ୍ମାନଟି ୯ ମିଟର ବିଶିଷ୍ଟ ପାଦଚଲା ରାସ୍ତା ଦ୍ୱାରା ମହାନଦୀ ସହ ସଂଯୁକ୍ତ ହେବ। ଶଶ୍ମାନ ପାଖରେ ଶେଷକୃତ୍ୟ, ସ୍ଥାନ ଶ୍ରାଦ୍ଧମଣ୍ଡପ ଓ ବିଶ୍ରାମଗୃହର ବ୍ୟବସ୍ଥା କରାଯିବ।

ଏହି ନୂଆ ଯୋଜନା ଫଳରେ ପ୍ରଭାବିତ ଲୋକଙ୍କ ପାଇଁ ଥଇଥାନ ଓ ପୁନର୍ବାସ ପ୍ୟାକେଜ ପ୍ରସ୍ତୁତ କରାଯାଉଛି। ଏଥିରେ ଘରୋଇ ଜମିରେ ଘର ସରକାରୀ ଜମିରେ ଥିବା ବସ୍ତି, ସରକାରୀ ଜମିରେ ଅନ୍ୟ ବାସଗୃହ, ସରକାରୀ ଜମିରେ ଦୋକାନ ଘର, ସରକାରୀ ଜମିରେ ଭେଣ୍ଡରମାନଙ୍କ ସୁବିଧା ପାଇଁ ପ୍ୟାକେଜରେ ବିସ୍ତୃତ ବ୍ୟବସ୍ଥା ରଖାଯିବ। ସେହିପରି ସରକାରୀ ଜମିରେ ଥିବା କ୍ଲବ, ଧାର୍ମିକ ଅନୁଷ୍ଠାନ, ସରକାରୀ ଅଫିସ ଓ ପ୍ରତିଷ୍ଠାନମାନଙ୍କ ପାଇଁ ସହାୟତା ପ୍ରଦାନ କରାଯିବ। ଏହି ଯୋଜନା ସମ୍ପର୍କରେ ଜନସାଧାରଣ ଡେଭଲପମେଣ୍ଟ.ସମଲେଇଅଜିମେଲ.ଡଟକମ୍ ଜରିଆରେ ମାର୍ଚ୍ଚ ୧୫ ସୁଦ୍ଧା ସେମାନଙ୍କ ମତାମତ ଦେଇପାରିବେ। ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମକୁ ସଂଯୋଜନା କରିଥିଲେ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories