www.samajalive.in
Tuesday, December 9, 2025
16.1 C
Bhubaneswar

ସୁଡ଼ଙ୍ଗ ଜରିଆରେ ଜଳ ଯୋଗାଣ

ଗଞ୍ଜାମ ଓ ଗଜପତିର ୬୨୬୦ ହେକ୍ଟର ଜମିକୁ ପାଣି, ୪୦ କୋଟି ବ୍ୟୟରେ ପାରଳାଖେମୁଣ୍ଡି ବାଇପାସ୍
ସଂସ୍କୃତି ଭବନ ଓ ଟାଉନ୍ ହଲ୍ ପାଇଁ ୬.୫ କୋଟି

ଭୁବନେଶ୍ବର : ଗଞ୍ଜାମ ଓ ଗଜପତିରେ ପାଣି ଯୋଗାଇବା ପାଇଁ ଛେଳିଗଡ଼ ଜଳସେଚନ ପ୍ରକଳ୍ପ ନିମନ୍ତେ ପାହାଡ଼ ଖୋଳି ସୁଡ଼ଙ୍ଗ ତିଆରି କରିବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କ ନିର୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୁଧବାର ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି।
ଶ୍ରୀ ପାଣ୍ଡିଆନ ଗଜପତି ଗସ୍ତର ଦ୍ବିତୀୟ ଦିନରେ ଛେଳିଗଡ଼ ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ଏହାପରେ ସେ ସୁଡ଼ଙ୍ଗ କାର୍ଯ୍ୟ ପରିଦର୍ଶନ କରିଥିଲେ। ଜଳସେଚନ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ଶ୍ରୀ ପାଣ୍ଡିଆନ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରକଳ୍ପ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣି ତୁରନ୍ତ ପଦକ୍ଷେପ ନେବାକୁ ସେ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଛେଳିଗଡ଼ ଜଳସେଚନ ପ୍ରକଳ୍ପ ଗଜପତି ଜିଲାର ଆର. ଉଦୟଗିରି ବ୍ଲକ୍‌ ଛେଳିଗଡ଼ ଗ୍ରାମରେ କାର୍ଯ୍ୟକାରୀ କରାଯାଉଛି। ଏଥିପାଇଁ ୯୩୬.୬୩ କୋଟି ଟଙ୍କା ଖର୍ଚ୍ଚ କରାଯିବ। ୧୨୮୦ ମିଟର ଦୀର୍ଘ ଏକ ସୁଡ଼ଙ୍ଗ ଏଥିପାଇଁ ଖୋଳାଯାଇଛି। ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ଏଥିରେ ୫୨୦୧ ହେକ୍ଟର ମିଟର ପାଣି ସଂରକ୍ଷିତ କରି ରଖାଯାଇପାରିବ। ଗଞ୍ଜାମ ଜିଲାର ୫୭୬୦ ହେକ୍ଟର ଓ ଗଜପତିର ୫୦୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ। ଏହାଦ୍ବାରା ବ୍ରହ୍ମପୁର ସହରକୁ ମଧ୍ୟ ପ୍ରତି ସେକେଣ୍ଡରେ ଏକ ଘନମିଟର ପିଇବା ପାଣି ଯୋଗାଇ ଦିଆଯିବ। ଏହାସହିତ ଗଜପତି ଜିଲାର ଶିଆଳି ଲଟି, କନକତା ଓ ଡେକିଲି ଆଦି ୩ଟି ସ୍ଥାନରେ କ୍ଷୁଦ୍ର ଜଳ ବିଦ୍ୟୁତ ପ୍ରକଳ୍ପ ଜରିଆରେ ୩୬ ମେଗାୱାଟ ବିଦ୍ୟୁତ ଉତ୍ପାଦନ କରାଯାଇପାରିବ।
ଏଥିରେ ୧୫ଟି ଗାଁର କ୍ଷତିଗ୍ରସ୍ତ ଲୋକଙ୍କ ପାଇଁ ୭ଟି ପୁନର୍ବାସ ଓ ଥଇଥାନ କଲୋନୀ କରାଯିବ। ୩ଟି ଥଇଥାନ କଲୋନୀର କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ସହିତ ଏଠାରେ ଲୋକମାନେ ରହିବା ଆରମ୍ଭ କଲେଣି। ବାକି ୪ଟିର ନିର୍ମାଣ କାର୍ଯ୍ୟ ଚାଲିଛି। ଏହାକୁ ଖୁବ୍‌ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ଶ୍ରୀ ପାଣ୍ଡିଆନ ପରାମର୍ଶ ଦେଇଥିଲେ। ୨୦୨୫-୨୬ ସୁଦ୍ଧା ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବ। ଏହାପରେ ଶ୍ରୀ ପାଣ୍ଡିଆନ ଗୁମ୍ମାରେ ନିର୍ମାଣାଧୀନ ବସ୍‌ଷ୍ଟାଣ୍ଡ କାର୍ଯ୍ୟ ଦେଖିଥିଲେ। ସେଠାରେ ଉପସ୍ଥିତ ମିଶନ ଶକ୍ତି ମହିଳାଙ୍କ ସହ ଆଲୋଚନା କରି ସେମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ। ଗୁମ୍ମାରେ ଏକ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟକୁ ପରିଦର୍ଶନ କରି ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ସହିତ ଆଲୋଚନା କରିଥିଲେ। ଏହାପରେ ସେ ପ୍ରସ୍ତାବିତ ପାରଳାଖେମୁଣ୍ଡି ବାଇପାସ୍‌ ରୋଡ଼ ଅଞ୍ଚଳକୁ ଯାଇ କାମ ଯେପରି ଶୀଘ୍ର ଆରମ୍ଭ ହେବ, ସେଥିପାଇଁ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ। ଏହି ବାଇପାସ୍ ପାଇଁ ୪୦ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ପରେ ସେଠାରେ ନିର୍ମାଣାଧୀନ ଏକ ନୂତନ ଟାଉନ ହଲ୍‌ ବୁଲି ଦେଖିଥିଲେ। ଟାଉନ୍ ହଲ୍ କାମ ଶେଷ ପାଇଁ ଦେଢ଼କୋଟି ଟଙ୍କା ଯୋଗାଇ ଦିଆଯିବ ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଗଜପତି ଜିଲା କଳା ଓ ସଂସ୍କୃତିର ଭୂମି। ତେଣୁ ପାରଳାଖେମୁଣ୍ଡିରେ ୫କୋଟି ଟଙ୍କା ବ୍ୟୟରେ ଏକ ସୁଦୃଶ୍ୟ ସଂସ୍କୃତି ଭବନ ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ସମ୍ମତି ପ୍ରଦାନ କରିଛନ୍ତି ବୋଲି ୫-ଟି ସଚିବ ପ୍ରକାଶ କରିଥିଲେ।
ମଧ୍ୟାହ୍ନରେ ରାମସାଗର ଓ କୃଷ୍ଣସାଗର କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ରାମ ସାଗର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ୧୦କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିପାଇଁ ୧୫ଦିନ ଭିତରେ ଡିପିଆର ପ୍ରସ୍ତୁତ ପାଇଁ ୫-ଟି ସଚିବ ପରାମର୍ଶ ଦେଇଥିଲେ। ସେହିପରି ଗୋସାଣୀ ନୂଆଗାଁ ବ୍ଲକ କୃଷ୍ଣସାଗରର ପୁନରୁଦ୍ଧାର ୧୫କୋଟି ଟଙ୍କା ବ୍ୟୟରେ କରାଯିବ। ଏହାଦ୍ୱାରା ୨୦୦୦ ହେକ୍ଟର ଜମି ପାଣି ପାଇପାରିବ। ଏହି ଯୋଜନା ପାଇଁ ୧୫ ଦିନ ଭିତରେ ଡିପିଆର ପ୍ରସ୍ତୁତ କରିବାକୁ ୫-ଟି ସଚିବ ପରାମର୍ଶ ଦେଇଥିଲେ।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories