ଆସୁଛି ଭୀଷଣ ବାତ୍ୟା: ଆଜି ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ୱର : ସମୁଦ୍ରରେ ବଳ ଗୋଟାଉଛି ବାତ୍ୟା ‘ଦାନା’। ଆସନ୍ତା ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳୁ ବାତ୍ୟା ଭୀଷଣ ରୂପରେ ଓଡ଼ିଶାର ପୁରୀ ଏବଂ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଆଇଏମ୍‌ଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଆଜି ଲଘୁଚାପ ଅବପାତରେ ପରିଣତ ହେବ। ୨୩ରେ ବାତ୍ୟାରେ ପରିଣତ ହୋଇ ୨୪ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଉପକୂଳ ଛୁଇଁପାରେ ବାତ୍ୟା। ଭୀଷଣ ରୂପ ନେଇ ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳେ ଘଣ୍ଟା ପ୍ରତି ପବନ ବେଗ ୧୦୦ରୁ ୧୧୦କି.ମି. ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ଘଣ୍ଟାପ୍ରତି ୧୨୦ କି.ମି. ରହିପାରେ। ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ ୨୫ତାରିଖରେ ଅତି ପ୍ରବଳ ବର୍ଷା ହୋଇପାରେ। ଭଦ୍ରକ ଏବଂ ବାଲେଶ୍ୱର ଜିଲାରେ ଉଚ୍ଚ ଜୁଆର ଆସିବା ସମ୍ଭାବନା ରହିଛି।
ବାତ୍ୟା ପ୍ରଭାବରେ ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ସମ୍ବଲପୁର, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲା ପ୍ରଭାବିତ ହୋଇପାରେ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ମଧ୍ୟରୁ କିଛି ଅଞ୍ଚଳରେ ୩୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଆଉ କିଛି ଅଞ୍ଚଳରେ ୨୦ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ରହିଛି। ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ପୂର୍ବ-କେନ୍ଦ୍ରୀୟ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ସୋମବାର ସକାଳ ସାଢ଼େ ୫ଟାରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆଜି ଏହା ଅବପାତ ରୂପ ନେବ। ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବା ସହ ୨୩ରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହୋଇପାରେ। ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଭୀଷଣ ବାତ୍ୟା ରୂପ ନେଇ ୨୪ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି। ଓଡ଼ିଶା ଉପକୂଳରେ ୨୩ ତାରିଖ ସନ୍ଧ୍ୟାରୁ ପବନର ବେଗ ବଢ଼ିବ। ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦କି.ମି. ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ଘଣ୍ଟାପ୍ରତି ୬୦କି.ମି. ପର୍ଯ୍ୟନ୍ତ ଛୁଇଁପାରେ। ୨୪ରାତିରୁ ୨୫ତାରିଖ ସକାଳ ପର୍ଯ୍ୟନ୍ତ ଘଣ୍ଟାପ୍ରତି ୧୦୦ରୁ ୧୧୦ କି.ମି ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ଘଣ୍ଟାପ୍ରତି ୧୨୦କି.ମି. ପର୍ଯ୍ୟନ୍ତ ବହିବା ସମ୍ଭାବନା ରହିଛି। ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ବର ଜିଲାରେ ପବନର ବେଗ ୧୨୦କି.ମି ପର୍ଯ୍ୟନ୍ତ ବହିବା ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ପବନ ବେଗ ଘଣ୍ଟା ପ୍ରତି ୬୦ରୁ ସ୍ଥଳ ବିଶେଷରେ ୧୦୦କି.ମି ଯାଏଁ ଛୁଇଁପାରେ। ଗଞ୍ଜାମ, ନୟାଗଡ଼, ବୌଦ୍ଧ, ଦେବଗଡ଼, ସମ୍ବଲପୁର ଏବଂ ସୁନ୍ଦରଗଡ଼ ଜିଲାରେ ଘଣ୍ଟା ପ୍ରତି ପବନର ବେଗ ୫୦ରୁ ୬୦କି.ମି ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୭୦କି.ମି ପର୍ଯ୍ୟନ୍ତ ବହିବା ସମ୍ଭାବନା ରହିଛି। ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ପୁରୀ ଜିଲାର କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୪ରେ ମୟୂରଭଞ୍ଜ, କଟକ, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲାରେ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରୁ କିଛି ଅଞ୍ଚଳରେ ୭ରୁ ୨୦ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବାବେଳେ କେତେକ ସ୍ଥାନରେ ୨୦ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ। କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଏବଂ ଗଞ୍ଜାମ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ ଏବଂ ଗଜପତି ଜିଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଉକ୍ତ ଜିଲାଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ୨୫ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକ ଜିଲାକୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ୭ରୁ ୨୦ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବାବେଳେ କେତେକ ଅଞ୍ଚଳରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକ ମଧ୍ୟରୁ କିଛି ଅଞ୍ଚଳରେ ୭ରୁ ୨୦ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ନୟାଗଡ, ଖୋର୍ଦ୍ଧା, ପୁରୀ ଏବଂ ଗଞ୍ଜାମ ଜିଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ସମ୍ଭାବନା ରହିଛି। ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ଏବଂ ସମୁଦ୍ରରେ ଉଚ୍ଚ ଜୁଆର ଉଠିବା ସମ୍ଭାବନା ରହିଛି। ମତ୍ସ୍ୟଜୀବୀ ୨୬ତାରିଖ ପର୍ଯ୍ୟନ୍ତ ପୂର୍ବ-କେନ୍ଦ୍ରୀୟ, ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗର ସହ ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳ ସମୁଦ୍ରକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବାତ୍ୟା ଯୋଗୁ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳର ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହୋଇପାରେ। କଚ୍ଚାଘର, କଚ୍ଚାସଡ଼କ ଧୋଇ ଯିବା ସମ୍ଭାବନା ରହିଛି। ଗଛଡାଳ ଭାଙ୍ଗିବା, ଭୂସ୍ଖଳନ, ଯୋଗାଯୋଗ ବିଚ୍ଛିନ୍ନ ଏବଂ ନଦୀ ଅବବାହିକାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Comments are closed.