ଫୁଲବାଣୀ: ସରକାରୀ ଅର୍ଥ ତୋଷରପାତ ଅଭିଯୋଗରେ ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଜଣେ ପୂର୍ବତନ ପ୍ରଧାନ ଶିକ୍ଷକଙ୍କୁ ଚାରି ବର୍ଷ ଜେଲଦଣ୍ଡ ଆଦେଶ ଦେଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ତୁମୁଡିବନ୍ଧ ବ୍ଲକ ରଙ୍ଗାପାରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତତ୍କାଳୀନ ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ନାୟକ। ଏଥିସହ ଅଭିଯୁକ୍ତଙ୍କୁ ୫୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୪ ମାସ ଜେଲ ଦଣ୍ଡ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି।
ସୂଚନା ଅନୁଯାୟୀ, ସୁବାସ ୨୦୧୫ ମସିହାରେ ଏହି ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ। ଏହି ସମୟରେ ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣ ପାଇଁ ଆସିଥିବା ସରକାରୀ ଅନୁଦାନରୁ ସେ ୨,୪୯,୩୪୧ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ଅଭିଯୋଗ ହେବା ପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ତଦନ୍ତ କରାଯାଇ ତାଙ୍କ ବିରୋଧରେ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ୨୧/୧୫ରେ ମାମଲା ରୁଜୁ କରାଯାଇଥିଲା। ଶନିବାର ଏହି ମାମଲାର ଶୁଣାଣି କରି ଭିଜିଲାନ୍ସ ଅଦାଲତ ବିଚାରପତି ରାଜେଶ ଦାଶ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଭି. ଭି. ରାମଦାଶ ମାମଲା ପରିଚାଳନା କରିଥିଲେ।



