ଅକ୍ଷୟ ତୃତୀୟାର ମହତ୍ତ୍ୱ : କ’ଣ କହେ କିମ୍ବଦନ୍ତୀ..
ଏହି ଦିନ ଆରମ୍ଭ ହୁଏ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ତିଆରି କାମ
ଭୁବନେଶ୍ୱର : ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟାଟି ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପରିଚିତ। ନୂତନ କାର୍ଯ୍ୟଟିଏ ଆରମ୍ଭ କରିବା ପାଇଁ ଅକ୍ଷୟ ତୃତୀୟା ହେଉଛି ପୂରା ବର୍ଷ ମଧ୍ୟରେ ସବୁଠାରୁ ଶୁଭ ତିଥି । ଏହି ଦିନ କୌଣସି କାର୍ଯ୍ୟ ଆରମ୍ଭ କଲେ ତାହା କ୍ଷୟ ନହୋଇ ଅକ୍ଷୁର୍ଣ୍ଣ ରହିଥାଏ। ଶୁଭଦିନ ମନେକରି ଏହିଦିନ ଅକ୍ଷିମୁଠି ଅନୁକୁଳ, ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମମାନ ଅନୁଷ୍ଠିତ ହୋଇଥାଏ।
ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା ଅକ୍ଷୟ ତୃତୀୟାଠାରୁ ଆରମ୍ଭ ହେଉଥିବା ବେଳେ ରଥ ତିଆରି କାମ ମଧ୍ୟ ଆରମ୍ଭ ହୋଇଥାଏ। ଅକ୍ଷୟ ତୃତୀୟା ତିଥିରେ ଅକ୍ଷି ପୂଜା ହେବା ପରେ ବିଶ୍ଵକର୍ମା ଓ ତାଙ୍କର ସହଯୋଗୀଗଣ ରଥ ନିର୍ମାଣରେ ପ୍ରବୃତ୍ତ ହୋଇଥାନ୍ତି। ଏହି ଦିନରେ ସଧବା ସ୍ତ୍ରୀମାନେ ଷଠିବୁଢ଼ୀ ପୂଜା କରନ୍ତି। ବଳଦେବ ଜିଉ ମନ୍ଦିରରେ କୃଷିର ଆରାଧ୍ୟ ଦେବ ହଳାୟୁଧ ବଳରାମ ଓ ରେବତୀଙ୍କ ବିବାହୋତ୍ସବ ଅନୁଷ୍ଠିତ ହୁଏ। ମା ଅନ୍ନପୂର୍ଣ୍ଣାଙ୍କ ଜୟନ୍ତୀ ଓ ଗୀତଗୋବିନ୍ଦ ରଚୟିତା କବି ଜୟଦେବଙ୍କ ଜୟନ୍ତୀ ପାଳନ ହୁଏ।
ପୌରାଣିକ ଦୃଷ୍ଟିକୋଣରୁ ଏ ଦିନର ମହତ୍ତ୍ୱ ଯଥେଷ୍ଟ ଅଧିକ। ଏହି ଦିନକୁ ସତ୍ୟ ଯୁଗର ପ୍ରାରବ୍ଧ ଦିବସ ରୂପେ ଗ୍ରହଣ କରାଯାଇଛି। ଅକ୍ଷୟ ତୃତୀୟାରେ ଋଷି ବେଦବ୍ୟାସ ଓ ପ୍ରଭୁ ଗଣେଷ ମହାଭାରତ ଲେଖିବା ଆରମ୍ଭ କରିଥିଲେ। ପୌରାଣିକ କାଳରେ ଅକ୍ଷୟ ତୃତୀୟାରୁ ତ୍ରେତୟା ଯୁଗ ଆରମ୍ଭ ହେଉଥିବା ବେଳେ ପାପ-ନାଶିନୀ ଗଙ୍ଗା ପୃଥିବୀ ପୃଷ୍ଠରେ ପ୍ରବାହିତ ହୋଇଥିଲେ ବୋଲି କିମ୍ବଦନ୍ତୀ କହେ। ଅକ୍ଷୟ ତୃତୀୟା ତିଥିରେ ଶ୍ରୀକୃଷ୍ଣ ବାଲ୍ୟ ବନ୍ଧୁ ସୁଦାମାଙ୍କୁ ଭେଟି ତାଙ୍କ ଦାରିଦ୍ର୍ୟର ଅନ୍ତ ଘଟାଇଥିଲେ। ଏଣୁ ଏହି ତିଥିକୁ ସମୃଦ୍ଧି ଓ ସୌଭାଗ୍ୟର ତିଥି ବୋଲି ବିଶ୍ୱାସ କରାଯାଏ। ଏହି ଦିନ ସ୍ଵର୍ଣ୍ଣ କ୍ରୟ କଲେ ଲକ୍ଷ୍ମୀ ଧନଧାନ୍ୟରେ ଗୃହ ପୂରି ଦିଅନ୍ତି ବୋଲି ବିଶ୍ଵାସ ଅଛି।
କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି। କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟ ମୁଠି) ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର, ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣୀକୁ ଶଙ୍ଖ ହୁଳହୁଳି ଧ୍ୱନି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳ ଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାନ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ। ଏହି ଦିନ କୃଷକ ତା ଜମିରେ ବୀଜ ବପନ କରି ଭରପୁର ଅମଳର ଆଶା ରଖିଥାଏ।
ମୁହୂର୍ତ୍ତ ଶାସ୍ତ୍ର ଅନୁଯାୟୀ ଅକ୍ଷୟ ତୃତୀୟା ହେଉଛି ଆବୁଝା ମୁହୁର୍ତ୍ତ ବା ସ୍ବୟଂ ସିଦ୍ଧ ମୁହୂର୍ତ୍ତ। ଅର୍ଥାତ୍ ଯେଉଁ ତିଥିର ସବୁ ସମୟରେ ଶୁଭ କାର୍ଯ୍ୟ ବା ମାଙ୍ଗଳିକ କାର୍ଯ୍ୟ ସମ୍ପର୍ଣ୍ଣ କରିହେବ ଏବଂ କୌଣସି ସମୟକୁ ବିବେଚନା କରାଯିବ ନାହିଁ, ତାହାକୁ ଆବୁଝା ମୁହୁର୍ତ୍ତ କିମ୍ବା ସ୍ବୟଂ ସିଦ୍ଧ ମୁହୂର୍ତ୍ତ ବୋଲି କୁହାଯାଏ। ଏହି ଦିନ ଦାନ, ଧର୍ମ ଏବଂ ଶୁଭ କାର୍ଯ୍ୟ କରିବା ଦ୍ବାରା ଅକ୍ଷୟ ଫଳ ବା ସୌଭାଗ୍ୟ ପ୍ରାପ୍ତି ହୁଏ।
ଏହି ତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ । ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗହୋମର ଆଚାର୍ୟ୍ୟ ତଥା ଦେଉଳ ପୁରୋହିତ ରଥନିର୍ମାଣର ଶୁଭାରମ୍ଭ କରିଥାନ୍ତି । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ। ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି। ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି। ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ। ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥନିର୍ମାଣ କରାଯାଏ। ଏଥିରେ ୧୧୩୯ ଖଣ୍ଡ କାଠ ଲାଗିଥାଏ। ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର କର୍ମଚାରୀ ରଥଖଳାରେ ଉପସ୍ଥିତ ରହି ଏହି କାର୍ଯ୍ୟ ସୁରୁଖୁରରେ ହେବାରେ ସାହାଯ୍ୟ କରିଥାନ୍ତି। ବାହାର ଚନ୍ଦନ ଯାତ୍ରାର ଶେଷଦିନ ରଥ ଅଖରେ ଚକ ଲାଗେ ।
Comments are closed.