ପୁରୀ: ଆଜି ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀ ବିଗ୍ରହ ମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ। ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ। ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ। ଅନ୍ୟପକ୍ଷରେ ଶ୍ରୀଜୀଉଙ୍କ ବନକଲାଗି ନୀତି ହେତୁ ଆଜି ଓ ୬ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
Popular Categories



