କଳାହାଣ୍ଡିରେ ଅନ୍ତ୍ୟୋଦୟ ଗୃହ ଯୋଜନାର ରାଜ୍ୟସ୍ତରୀୟ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୭୦ ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ ହେବ ଏବଂ ସମସ୍ତଙ୍କୁ ପକ୍କା ଘର ମିଳିବ। ଅନ୍ତ୍ୟୋଦୟ ଗୃହ ଯୋଜନାରେ ସବୁଠାରୁ ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଦିଆଯିବ । ଆଜି କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।
ଆଜି ପ୍ରଥମ ଦିନରେ  ଅନ୍ତ୍ୟୋଦୟ ଗୃହ ଯୋଜନାରେ ୬୦ ହଜାର ଘର ପାଇଁ କାର୍ଯ୍ୟାଦେଶ ଦିଆଯାଇଛି । ଆଗାମୀ ୩ବର୍ଷରେ୫ ଲକ୍ଷରୁ ଉର୍ଦ୍ଧ୍ୱ ଘର ନିର୍ମାଣ କରାଯିବାର ଲକ୍ଷ୍ୟ ରଖାଯାଇଛି । ଚଳିତ ବର୍ଷ ଏହି ଯୋଜନା ପାଇଁ ୨,୬୦୦ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରାଯାଇଥିବା ବେଳେ ଆଗାମୀ ୩ ବର୍ଷରେ ଏଥିପାଇଁ ୭,୫୫୦ କୋଟି ଟଙ୍କା ବିନିଯୋଗ କରାଯିବ ।  ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯିବା ସହିତ ଏଥିରେ ଅନ୍ୟାନ୍ୟ ଯୋଜନାର ସମନ୍ୱୟ କରାଯାଇ ବିଭିନ୍ନ ଆବଶ୍ୟକୀୟ ସୁବିଧା ଦିଆଯିବ । ସ୍ୱଚ୍ଛ ଭାରତ ମିଶନରୁ ଶୌଚାଳୟ, ଉଜ୍ଜ୍ୱଳା ଯୋଜନାରୁ ରନ୍ଧନ ଗ୍ୟାସ, ଜଳ ଜୀବନ ମିଶନରୁ ସ୍ୱଚ୍ଛ ପାନୀୟ ଜଳ, ସୌଭାଗ୍ୟ ଯୋଜନାରୁ ବିଦ୍ୟୁତ ସଂଯୋଗ ଆଦି ଯୋଗାଇ ଦିଆଯିବ । ଜୀବନଯାପନ ପାଇଁ ସବୁ ଆବଶ୍ୟକୀୟ ସୁବିଧା ଦିଆଯିବ।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବର୍ଗର ୧୦ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲାରେ ୬୧୭.୫୧ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ୨୨୩.୬୬ କୋଟି ଟଙ୍କାର ପ୍ରକଳ୍ପ ଉଦ୍‍ଘାଟିତ ହୋଇଥିବା ବେଳେ ୩୯୩.୮୫ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି ।
ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ  ରବି ନାରାୟଣ ନାଏକ,  କଳାହାଣ୍ଡି ସାଂସଦ ମାଳବିକା ଦେବୀ, ଧର୍ମଗଡ଼ ବିଧାୟକ  ସୁଧୀର ରଞ୍ଜନ ପାଟ୍ଟଜୋଶୀ ଓ କଳାହାଣ୍ଡି ଜିଲା ପରିଷଦ ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ ।
ଆଭାଷୀ ଜରିଆରେ ସମସ୍ତ ୩୦ ଜିଲାର ସଦର ମହକୁମାରୁ ସାଂସଦ, ମନ୍ତ୍ରୀ, ବିଧାୟକଗଣ, ଏବଂ ସମସ୍ତ ୩୧୪ ବ୍ଲକରୁ ପଞ୍ଚାୟତିରାଜ ସଦସ୍ୟଗଣ ଏହି କାର୍ଯ୍ୟକ୍ରମରେ ଯୋଡି ହୋଇଥିଲେ ।
 ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ କମିଶନର ତଥା ଶାସନ ସଚିବ ଗିରୀଶ ଏସ୍. ଏନ୍ ସ୍ୱାଗତ ଭାଷଣ ଦେଇଥିଲେ ଓ  କଳାହାଣ୍ଡି ଜିଲାପାଳ ସଚ୍ଚିନ ପାୱାର ଧନ୍ୟବାଦ ଅର୍ପଣ କରିଥିଲେ ।

Comments are closed.