www.samajalive.in
Thursday, November 13, 2025
25.1 C
Bhubaneswar

ବିଶ୍ୱସ୍ତରରେ ନେତୃତ୍ୱ ନେବେ ଆଇଆଇଟି କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର/ଜଟଣୀ; ଖୋର୍ଦ୍ଧା ଜିଲ୍ଲା ବରୁଣେଇ ପାହାଡର ପାଦଦେଶରେ ପ୍ରତିଷ୍ଠିତ ଆଇଆଇଟି ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ଆଗାମୀ ଦିନରେ ଶିକ୍ଷାର ପ୍ରୟୋଗଶାଳା ହେବା ସହ ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ନେତୃତ୍ୱ ପାଇଁ ପ୍ରସ୍ତୁତ କରିବ ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଶନିବାର ଆଇଆଇଟି ଭୁବନେଶ୍ୱର ଠାରେ କେନ୍ଦ୍ରୀୟ ବିଦ୍ୟାଳୟର ଲୋକାର୍ପଣ ଓ ସ୍ଥାୟୀ କ୍ୟାମ୍ପସର ଭୂମିପୂଜନ କରିବା ଅବସରରେ ଏହା କହିଛନ୍ତି। ସେ କହିଛନ୍ତି ଯେ ଚଳିତ ୨୦୨୨-୨୩ ଶିକ୍ଷା ବର୍ଷରୁ ପ୍ରଥମେ ଲୋକାର୍ପିତ ଶ୍ରେଣୀ ଗୃହରେ ପ୍ରଥମରୁ ପଂଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ। ଏହି ବିଦ୍ୟାଳୟ ସ୍ଥାନୀୟ ଅଂଚଳର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରି ଉଜ୍ଜ୍ୱଳ ଭବିଷ୍ୟତର ସ୍ୱପ୍ନକୁ ସାକାର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ପରବର୍ତୀ ପର୍ଯ୍ୟାୟରେ ଆଇଆଇଟି ଭୁବନେଶ୍ୱର ଯୋଗାଇଥିବା ୧୦ ଏକର ପରିମିତ ଜମିରେ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ ଶ୍ରେଣୀଗୃହ ନିର୍ମାଣ ହେବା ପରେ ପିଲାଙ୍କ ପାଠପଢା ଏଠାକୁ ସ୍ଥାନାନ୍ତର କରାଯିବ। ଏହି ସ୍ଥାୟୀ କେନ୍ଦ୍ରୀୟ ବିଦ୍ୟାଳୟ ନିର୍ମାଣ ପାଇଁ ୨୫ କୋଟି ଖର୍ଚ୍ଚ ହେବ ଏବଂ ସ୍କୁଲର ପରିଚାଳନା ପାଇଁ ଅତିରିକ୍ତ ବାର୍ଷିକ ୪ କୋଟି ଟଙ୍କା ଖର୍ଚ୍ଚ ହେବାର ଆକଳନ କରାଯାଇଛି। ସମସ୍ତ ଖର୍ଚ୍ଚ ଭାରତ ସରକାରଙ୍କ ଶିକ୍ଷା ସଂସ୍ଥା ଆଇଆଇଟି ଭୁବନେଶ୍ୱର ବହନ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ଜାତୀୟ ଶିକ୍ଷା ନୀତିର ସୁପାରିଶ ଅନୁସାରେ ଏହି ବିଦ୍ୟାଳୟରେ ପାଠପଢ଼ା ଆରମ୍ଭ କରାଯିବ।

- Advertisement -

ସେ କହିଛନ୍ତି, ଉଚ୍ଚ ଶିକ୍ଷା କ୍ଷେତ୍ରରେ ଆଇଆଇଟି ଭୁବନେଶ୍ୱର ଏକ ସମ୍ମାନସ୍ପଦ ଅନୁଷ୍ଠାନ। ଏଠାକାର ଅନୁକୂଳ ପରିବେଶରେ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପାଠ ପଢ଼ିବା ସହ ଟେକ୍ନୋଲୋଜିର ବ୍ୟବହାରକୁ ଜାଣିବା ପାଇଁ ଆଗ୍ରହୀ ହେବେ। ଫଳରେ ପିଲାମାନେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ବୈଜ୍ଞାନିକ ଅବଦୁଲ କଲାମ ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ପରି ସ୍ୱପ୍ନ ଦେଖିବେ।

ଶ୍ରୀ ପ୍ରଧାନ ଏହି ଅବସରରେ କହିଛନ୍ତି ଯେ ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ଶିକ୍ଷକମାନଙ୍କ ପାଇଁ ଗୋଟିଏ ନୂଆ ବ୍ୟବସ୍ଥା ବିଗତ ଦିନ ମାନଙ୍କରେ ଆରମ୍ଭ କରାଯାଇଛି। ଶିକ୍ଷକମାନଙ୍କୁ ଉପଯୁକ୍ତ ପ୍ରଶିକ୍ଷଣ ଦେବା ପାଇଁ ଚଳିତବର୍ଷ ୪ ବର୍ଷୀୟା ଇଂଟିଗ୍ରେଟେଡ୍ ଟିଚର ଏଜୁକେସନ ପ୍ରୋଗ୍ରାମ (ଆଇଟେପ)ର ପାଇଲଟ୍ ମଡ଼େଲ ଆରମ୍ଭ କରାଯିବ। ଏହା ଦ୍ୱାରା ଶିକ୍ଷକମାନଙ୍କ ଦକ୍ଷତା ବୃଦ୍ଧି ହେବା ସହ ଛାତ୍ରଛାତ୍ରୀଙ୍କ ପୂର୍ଣ୍ଣାଙ୍ଗ ବିକାଶ ହେବ। ଏହାବ୍ୟତିତ ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ଦିଗରେ ଓଡ଼ିଶା ସମେତ ସମଗ୍ର ଭାରତବର୍ଷର ପ୍ରତ୍ୟେକ ବ୍ଲକରେ ପ୍ରାୟ ୧୫ ହଜାର ପିଏମ ଶ୍ରୀ ସ୍କୁଲ ପ୍ରତିଷ୍ଠା କରାଯିବାର ଯୋଜନା ରହିଛି। ନୂଆ ସ୍କୁଲ ନୁହେଁ ବରଂ ପୁରୁଣା ସ୍କୁଲରେ ଏହି ବିଦ୍ୟାଳୟ ପ୍ରତିଷ୍ଠା ନେଇ ଭାରତ ସରକାର ସହଯୋଗୀ ହେବେ।

ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ମୋଦି ସରକାରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅଧିକ କେନ୍ଦ୍ରୀୟ ବିଦ୍ୟାଳୟ, ନବଦୋୟ ଓ ଏକଲବ୍ୟ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଆଇଆଇଟି ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ରାଜ୍ୟର ୬୬ତମ କେନ୍ଦ୍ରୀୟ ବିଦ୍ୟାଳୟ ଭାବରେ ସ୍ଥାନିତ ହେବ। ସାମଗ୍ରିକ ଶିକ୍ଷା ଯୋଜନାରେ ଆଗାମୀ ୪ ବର୍ଷ ମଧ୍ୟରେ ୩ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ ଓ ଓଡ଼ିଶା ସମେତ ଦେଶରେ ଶିକ୍ଷାର ଗୁଣାତ୍ମକ ମାନ ବଢ଼ିବା ପାଇଁ ଭାରତ ସରକାର ପଦକ୍ଷେପ ନେବେ। ସେହିପରି ଓଡ଼ିଶାରେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ୪୫ ହଜାର ସ୍କୁଲକୁ ଭାରତ ସରକାର ସବୁ ପ୍ରକାର ସହଯୋଗର ଦାୟିତ୍ୱ ନେବେ। ବର୍ତମାନର ପିଲାମାନେ ଆମର ଭବିଷ୍ୟତ। ଏମାନଙ୍କୁ ଗଢ଼ି ତୋଳିବା ଆମ ସମସ୍ତଙ୍କର ଦାୟିତ୍ୱ। ସେ କହିଛନ୍ତି, ପୂର୍ବଦୋୟରେ ଓଡ଼ିଶାର ବିକାଶ ହେଲେ ହିଁ ଭାରତର ସାମଗ୍ରିକ ବିକାଶ ହେବ ।

ରାଷ୍ଟ୍ରୀୟ ଶିକ୍ଷା ନୀତି ଅନୁସାରେ ଆଇଆଇଟି ଭୁବନେଶ୍ୱର ଏକ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ। ଆଗାମୀ ଦିନରେ ଏଠାରେ ଜାତୀୟ ଶିକ୍ଷା ନୀତି ଅନୁସାରେ ମଲଟି ଡ଼ିସପ୍ଲିନାରୀର ବ୍ୟବସ୍ଥା କରିବକୁ ଶ୍ରୀ ପ୍ରଧାନ ଆଇଆଇଟି ଭୁବନେଶ୍ୱର କର୍ତୃପକ୍ଷଙ୍କୁ ପରମର୍ଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ କହଛନ୍ତି, ଏଠାରେ ଇଞ୍ଜିନିୟରିଂ ପଢ଼ୁଥବା ପିଲା ଅର୍ଥନୀତି, ମ୍ୟାନେଜମେଂଟ୍‌, ସାଧାରଣ ବିଜ୍ଞାନ, ରସାୟନ ବିଜ୍ଞାନ ସହ ସବୁ ବିଷୟରେ ଶିକ୍ଷା ଆହରଣ କରନ୍ତୁ। ତେବେ ଯାଇ ଏହି ଶିକ୍ଷାନୁଷ୍ଠାନ ଅଭିନବ ପଦ୍ଧତିରେ ଗବେଷଣା ଭିତିକ ବିଦ୍ୟାମନ୍ଦିର ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories