ସରକାରୀ ଚାରୁ ଓ କାରୁକଳା ମହାବିଦ୍ୟାଳୟ ୱେବସାଇଟର ଲୋକାର୍ପଣ

ଭୁବନେଶ୍ୱର: ଆଜି ଲୋକସେବା ଭବନ ପରିସରରେ ସରକାରୀ ଚାରୁ ଓ କାରୁକଳା ମହାବିଦ୍ୟାଳୟ,ଖଲିକୋଟ ପାଇଁ ପ୍ରସ୍ତୁତ ୱେବ୍ ସାଇଟ୍ http://gcacodisha.nic.inର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ୱେବସାଇଟକୁ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ଅବକାରୀ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଲୋକାର୍ପଣ କରିଛନ୍ତି। ଏହି କାର୍ୟ୍ୟକ୍ରମରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶ୍ରୀ ମଧୁସୂଦନ ପାଢୀ, ବିଭାଗୀୟ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ୱେବ୍ ସାଇଟ୍ କୁ ଉନ୍ମୋଚନ ପରିପ୍ରେକ୍ଷୀରେ ମନ୍ତ୍ରୀ ଶ୍ରୀ ପାତ୍ର ଏହାର ଉପଯୋଗିତା ସଂପର୍କରେ ଆଲୋଚନା କରିଥିଲେ ।

ଓଡିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନରେ ପରିଚାଳିତ ଖଲିକୋଟ, ଗଞ୍ଜାମସ୍ଥିତ ସରକାରୀ ଚାରୁ ଓ କାରୁକଳା ମହାବିଦ୍ୟାଳୟଏକ ପୁରାତନ କଳା ଅନୁଷ୍ଠାନ । ଏହା ଏକ ମନୋରମ ପରିବେଷ୍ଟନୀ ମଧ୍ୟରେ ୧୯୫୭ ମସିହାରେ ପ୍ରତିଷ୍ଠା ଲାଭ କରି କଳାର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଉପଲବ୍ଧି ହାସଲ କରିବା ସହିତ ଦେଶର ପୂର୍ବାଞ୍ଚଳରେ ଏକ ଅଗ୍ରଣୀ ଅନୁଷ୍ଠାନ ଭାବେ ସୁନାମ ଅର୍ଜନ କରିଛି। ଓଡିଶା ସମେତ ଭାରତର ପଶ୍ଚିମ ବଙ୍ଗ, ଅରୁଣାଞ୍ଚଳ ପ୍ରଦେଶ, ବିହାର, ଉତ୍ତରପ୍ରଦେଶ ଓ ଦିଲ୍ଲୀ ଆଦି ବହୁ ରାଜ୍ୟରୁ ଛାତ୍ରଛାତ୍ରୀ ଆସି ଏଠାରେ ଅଧ୍ୟୟନ କରୁଛନ୍ତି। ଏଠାରୁ ବହୁ ପ୍ରତିଭାବାନ ଛାତ୍ରଛାତ୍ରୀ ସଫଳତାର ସହିତ ଉତ୍ତୀର୍ଣ୍ଣ ହୋଇ ନିଜକୁ ପ୍ରତିଷ୍ଠିତ କରିବା ସହିତ ଭାରତୀୟ କଳା ଇତିହାସ ତଥା ସାମ୍ପ୍ରତିକ କଳାକାରିତାକୁ ଋଦ୍ଧିମନ୍ତ କରିଆସୁଛନ୍ତି।
ଏହି ୱେବ୍ ସାଇଟ୍ ଲୋକାର୍ପିତ ହେବା ଦ୍ୱାରା ଓଡିଶା ତଥା ଦେଶର ଜନସାଧାରଣ ଉପକୃତ ହେବା ସହିତ ଓଡିଆ କଳାକାରିତା ତଥା ସାମ୍ପ୍ରତିକ କଳାଚର୍ଚ୍ଚାର ପରିସର ସୁଦୂର ପ୍ରସାରି ହେବା ସଙ୍ଗେ ସଙ୍ଗେ କଳାର ଅଭିବୃଦ୍ଧିରେ ସହାୟକ ହେବ। ଏହି ଅବସରରେ ଅନୁଷ୍ଠାନର ଅଧ୍ୟକ୍ଷ ସୁବ୍ରତ କୁମାର ମଲ୍ଲିକ ସ୍ୱାଗତ ଭାଷଣ ପ୍ରଦାନ ପୂର୍ବକ ଏହି ଓ୍ୱେବ୍ ସାଇଟ୍ ପ୍ରସ୍ତୁତି ଓ ଲୋକାର୍ପଣ ପାଇଁ ଉପସ୍ଥିତ ଅତିଥି ତଥା ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅନୁଷ୍ଠାନର ପୂର୍ବତନ ଅଧ୍ୟକ୍ଷ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ଜୟନ୍ତ ଦାସ ଏବଂ ଅଧ୍ୟାପକମାନେ ଉପସ୍ଥିତ ଥିଲେ ।

Comments are closed.