ସକ୍ରିୟ ଲଘୁଚାପ ପ୍ରଭାବରେ ଆଗାମୀ ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
ଦେବଗଡ଼ରେ ସର୍ବାଧିକ ବର୍ଷା, ୧୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ବର: ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି। ସକ୍ରିୟ ଲଘୁଚାପ ପ୍ରଭାବରେ ଆଗାମୀ ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଉ କିଛି ଆଭ୍ୟନ୍ତରୀଣ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି। ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଯୋଗୁଁ ମତ୍ସ୍ୟଜୀବୀଙ୍କୁ ୨ ଦିନ ସମୁଦ୍ର ଯିବାକୁ ବାରଣ କରାଯାଇଛି।
ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଥିବାବେଳେ ଦେବଗଡ଼ରେ ସର୍ବାଧିକ ବର୍ଷା ହୋଇଥିବା ସୂଚନା ମିଳିଛି। ରାଜ୍ୟରେ ୨୪ ଘଣ୍ଟାରେ ୨୭.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସ୍ବାଭାବିକ ବର୍ଷା ୯ ମିମି ତୁଳନାରେ ୨୦୫% ଅଧିକ ହୋଇଛି। ରାଜ୍ୟର ଦେବଗଡ଼ ଜିଲାରେ ସର୍ବାଧିକ ୧୦୬.୩ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।
ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଥିବାବେଳେ ୧୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସୋନପୁର, ବୌଦ୍ଧ, ବଲାଙ୍ଗିର, ସମ୍ବଲପୁର ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ନୂଆପଡ଼ା, ବରଗଡ଼, ସୁନ୍ଦରଗଡ଼, କଳାହାଣ୍ଡି ଓ କନ୍ଧମାଳକୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଛି।
Comments are closed.