ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାପରେ ଉତ୍ତରପୂର୍ବକୁ ଗତି କରି ୨୪ ବେଳକୁ ଅବପାତ ରୂପ ନେବ। ୨୩ ଓ ୨୪ରେ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା କରାଯାଇଥିବାବେଳେ ୨୪ରେ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ୨୫ରୁ ୨୬ ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ ଏବଂ ବାଲେଶ୍ବରରେ ୭ରୁ୧୧ ସେମି ପର୍ଯ୍ୟନ୍ତ ବର୍ଷିବ। ଏହି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୫ଦିନ ପର୍ଯ୍ୟନ୍ତ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକର କିଛି ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲିଠାରୁ ବର୍ଷା, ପବନ ଓ ଘଡ଼ଘଡ଼ି ଲାଗି ରହିବ। ଘଡ଼ଘଡ଼ି ବର୍ଷା ହେବା ବେଳେ ୩୦-୪୦କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ସ୍ବତନ୍ତ୍ର ରିଲିଫ କମିଶନର ରାଜ୍ୟର ସମସ୍ତ ଜିଲାପାଳମାନଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।

Comments are closed.