ଭୁବନେଶ୍ବର: କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ଓ ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇପାରେ। ଅବପାତ ରୂପ ନେବ କି ନାହିଁ ତାହା ଏପର୍ଯ୍ୟନ୍ତ ପାଣିପାଗ ବିଭାଗ ପକ୍ଷରୁ କିଛି ହେଲେ ସ୍ପଷ୍ଟ କରାଯାଇ ନାହିଁ। କିନ୍ତୁ ଏହାର ପ୍ରଭାବରେ ରାଜ୍ୟରେ ୩ଦିନ ଧରି ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା ହେବ। ସମ୍ଭାବ୍ୟ ଲଘୁଚାପ ଓଡ଼ିଶା ଅପେକ୍ଷା ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା ଏବଂ ମହାରାଷ୍ଟ୍ରରେ ଅତି ପ୍ରବଳ ବର୍ଷିବା ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଦୁଇଟି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ବଲାଙ୍ଗିର ଏବଂ ନୂଆପଡ଼ା ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ଼, ଗଞ୍ଜାମ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ ଏବଂ କନ୍ଧମାଳ ଜିଲାକୁ ବଜ୍ରପାତ ପାଇଁ ସତର୍କ ସୂଚନା ଜାରି ହୋଇଛି। ୧୫ ତାରିଖ ପର୍ଯ୍ୟନ୍ତ ଅତି ପ୍ରବଳ ଓ ୧୬ ଯାଏଁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳମାନେ ସତର୍କ ରହିବାକୁ ଏସ୍ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି।
ଆଜି ଲଘୁଚାପ: କୋରାପୁଟ, ମାଲକାନଗିରିରେ ବର୍ଷା ସମ୍ଭାବନା
Popular Categories



