www.samajalive.in
Monday, December 15, 2025
24.1 C
Bhubaneswar

ଲଘୁଚାପ କ୍ଷେତ୍ର ସୃଷ୍ଟି: ଭିଜିବ ଦଶହରା, ୪ ତାରିଖ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ବର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ପରବର୍ତ୍ତୀ ସମୟରେ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ପରେ ଅଧିକ ଘନୀଭୂତ ହୋଇ ଅକ୍ଟୋବର ୨ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହେବ। ସମ୍ଭାବ୍ୟ ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆସନ୍ତା ୩ତାରିଖ ସକାଳ ବେଳକୁ ଦକ୍ଷିଣ-ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ତାରିଖ ପର୍ଯ୍ୟନ୍ତ ତୁହାକୁ ତୁହା ବର୍ଷା ଲାଗି ରହିବ। ବିଶେଷ କରି ଦକ୍ଷିଣ ଓଡ଼ିଶାର ଜିଲାଗୁଡିକରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସାରା ରାଜ୍ୟରେ ପାର୍ବଣ ମାହୋଲ ରହିଛି। ଦଶହରା ପାଇଁ ମଣ୍ଡପରେ ମା’ ଦୁର୍ଗା ପୂଜା ପାଉଛନ୍ତି। ଗାଁରୁ ସହର ସବୁଠି ଉତ୍ସବମୁଖର। କିନ୍ତୁ ଲଘୁଚାପ ବର୍ଷା ନବମୀ, ଦଶମୀ ଏବଂ ଭସାଣିକୁ ପ୍ରଭାବିତ କରିବାର ଆଶଙ୍କା ରହିଛି। ମଙ୍ଗଳବାର ପାଗ ଖରାଟିଆ ରହିଥିଲା। ତଥାପି ମାଲକାନଗିରି ଏବଂ ହୀରାକୁଦରେ ହାଲୁକା ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ  ପୁରୀ, ଖୋର୍ଦ୍ଧା, ନୟାଗଡ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ବିଜୁଳି ଘଡଘଡି ସହ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପକ୍ଷରେ ସମୁଦ୍ର ଅଶାନ୍ତ କାରଣରୁ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀ ସମୁଦ୍ର ନଯିବାକୁ ପରାମର୍ଶ ଦିଆଯାଇଛି।
ଅନ୍ୟପଟେ ଜୁନ ୧ରୁ ସେପ୍ଟେମ୍ବର ୩୦ ମଧ୍ୟରେ ରାଜ୍ୟର ସ୍ୱାଭାବିକ ବର୍ଷା ୧୧୫୦.୨ମି.ମି. ତୁଳନାରେ ୧୧୫୦.୯ମି.ମି. ବର୍ଷା ହୋଇଛି। ସର୍ବାଧିକ ବର୍ଷା କୋରାପୁଟ ଜିଲାରେ ୧୫୮୬.୧ ମି.ମି. ଏବଂ ସର୍ବନିମ୍ନ ପୁରୀ ଜିଲାରେ ୭୪୫.୧ମି.ମି. ରେକର୍ଡ ହୋଇଛି। ପୁରୀ ୨୮%, ଖୋର୍ଦ୍ଧା ୨୦% ଏବଂ କଳାହାଣ୍ଡିରେ ୨୫% ନିଅଣ୍ଟିଆ ବର୍ଷା ହୋଇଛି। ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଝାରସୁଗୁଡା ଏବଂ କୋରାପୁଟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି। ଅବଶିଷ୍ଟ ୨୧ ଜିଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି। ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଅଗ୍ରସର ପରଠାରୁ ଏଯାବତ ରାଜ୍ୟକୁ ପ୍ରଭାବିତ କରିବା ଭଳି ୧୫ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଚଳିତ ମୌସୁମି ପରବର୍ତ୍ତୀ ଋତୁ ଅକ୍ଟୋବର-ଡ଼ିସେମ୍ବର ମଧ୍ୟରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା ରହିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories