www.samajalive.in
Sunday, December 14, 2025
23.1 C
Bhubaneswar

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ପ୍ରଭାବରେ ୩ଦିନ ପ୍ରବଳ ବର୍ଷା

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହୋଇଛି। ଅପରାହ୍ଣ ୧.୫୦ମିନିଟ ବେଳକୁ ରାଜଧାନୀ ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା। ପ୍ରାୟ ଘଣ୍ଟାଏ ସମୟ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହୋଇଥିଲା। ଏହି ବର୍ଷାରେ ରାଜଧାନୀ ଜଳମଗ୍ନ ହୋଇ ପଡିଛି। କେବଳ ରାଜଧାନୀ ନୁହେଁ, ନୟାଗଡରେ ସର୍ବାଧିକ ୧୧୦ ମି.ମି ବର୍ଷା ରେକର୍ଡ କରାଯାଇଛି। ଜିଲାର ବିଭିନ୍ନ ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହୋଇଛି। ପାରାଳାଖେମୁଣ୍ଡିରେ ୬୯.୮ମି.ମି ବର୍ଷା ହୋଇଥିବା ବେଳେ ନବରଙ୍ଗପୁର ୨୩ମି.ମି, ଭୁବନେଶ୍ବର ୨୧.୩ମି.ମି, ଫୁଲବାଣୀ ୧୪ମି.ମି, ଟିଟିଲାଗଡ ୧୫ମି.ମି ଏବଂ ମାଲକାନଗିରି ୧୬.୮ମି.ମି, ଦାରିଙ୍ଗବାଡି ୧୩ମି.ମି ବର୍ଷା ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ତିନିଦିନ ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର ଏବଂ ନୂଆପଡା ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି ଏବଂ କୋରାପୁଟ ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହ ବର୍ଷା ପବନ ବହିବା ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡିକୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସତର୍କ ରହିବାକୁ ଏସଆରସି ସତ୍ୟବ୍ରତ ସାହୁ ଜନସାଧାରଣ ଏବଂ ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories