ଭୁବନେଶ୍ବର: ଶୁକ୍ରବାର ସନ୍ଧ୍ୟାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ଘଣ୍ଟା ପର୍ଯ୍ୟନ୍ତ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି। ଏଥିସହିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ।
୨୫ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୭ ପର୍ଯ୍ୟନ୍ତ ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।



